ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ଲଢେଇରେ ସାମିଲ ହେବାକୁ ବିଜେଡିର ଆହ୍ୱାନ


ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡିଶା ସରକାର ପଛୁଆବର୍ଗଙ୍କୁ ସାମାଜିକ ନ୍ୟାୟ ପ୍ରଦାନ ପାଇଁ ବଦ୍ଧ ପରିକର । ହେଲେ ସଂଘୀୟ ଢାଞ୍ଚା ଓ ଆଇନଗତ କଟକଣା ଏଥିରେ ବାଧା ହୋଇଥିବା କହିଛନ୍ତି ବିଜେଡିର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଡକ୍ଟର ଅରୁଣ ସାହୁ ।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସ୍ୱାଇଁ ଓ ଡକ୍ଟର ସାହୁ କହିଛନ୍ତି ଯେ ପଛୁଆବର୍ଗଙ୍କ ପାଇଁ ଯୋଜନା ପ୍ରସ୍ତୁତ ପୂର୍ବରୁ ସେମାନଙ୍କ ସଂଖ୍ୟା ଜାଣିବା ନିହାତି ଆବଶ୍ୟକ । ଏଥିପାଇଁ କେନ୍ଦ୍ର ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସରକାର ଜାତିଭିତିକ ଜନଗଣନା ଦାବି ଉଠାଇଥିଲେ । ଏହା ଦ୍ୱାରା କେବଳ ରାଜ୍ୟ ନୁହେଁ, ସାରା ଦେଶର ପଛୁଆବର୍ଗଙ୍କ ପ୍ରକୃତ ସଂଖ୍ୟା ଜାଣିବାକୁ ମିଳିପାରିବ ।

କେନ୍ଦ୍ର ମନା କରିବା ପରେ ରାଜ୍ୟ ସରକାର ୨୦୨୦ ମସିହା ଜାନୁଆରୀ ୧୧ ରେ କ୍ୟାବିନେଟ ବୈଠକ ଡକାଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଜାତି ଭିତ୍ତିକ ଜନଗଣନା ପାଇଁ ପ୍ରସ୍ତାବ ଗୃହିତ ହୋଇଥିଲା । ଏହାର କିଛି ଦିନ ପରେ ରାଜ୍ୟ ସରକାର ୨୦୨୦ ମସିହା ଫେବୃୟାରୀ ୧୨ ରେ ଓବିସି କମିଶନ ଗଠନ କରିଥିଲେ ।
ଏହାର ୫ ଦିନପରେ ଫେବୃୟାରୀ ୧୭ ରେ କ୍ୟାବିନେଟ୍ ବୈଠକରେ ପଛୁଆବର୍ଗ କମିସନ (ସଂଶୋଧନ) ବିଧେୟକ ଗୃହିତ କରାଯାଇଥିଲା । ସେହିଦିନ ହିଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଧାନସଭାରେ ନିଜେ ପ୍ରସ୍ତାବ ଆଗତ କରିଥିଲେ । ଇତି ମଧ୍ୟରେ କମିଶନ କାର୍ଯ୍ୟକ୍ଷମ ହୋଇସାରିଛି ।

ଓଡିଶାରେ ଅନ୍ୟ ପଛୁଆ ବର୍ଗ (ଓବିସି) ସାମାଜିକ ଆର୍ଥିକ ପଛୁଆବର୍ଗ (ଏସ୍‍ଇବିସି) ସଂଖ୍ୟା ରାଜ୍ୟରେ ମୋଟ ଜନସଂଖ୍ୟା ଅଧାରୁ ଅଧିକ । ସେମାନଙ୍କ ସଂଖ୍ୟାର ଅଧା ସଂରକ୍ଷଣ ବି ସେମାନଙ୍କୁ ଦିଆଯାଇପାରି ନାହିଁ । ଏହାର କାରଣ ହେଉଛି- ସଂରକ୍ଷଣ ନେଇ ନ୍ୟାୟାଳୟ ଦ୍ୱାରା ରଖାଯାଇଥିବା ୫୦% ସୀମା । ଓଡିଶାକୁ ଅନ୍ୟ କୌଣସି ରାଜ୍ୟ ସହିତ ତୁଳନା କରାଯାଇପାରିବ ନାହିଁ । ତେଣୁ ଭାରତବର୍ଷରେ ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ ପଛୁଆବର୍ଗ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗ ସେତେବେଳେ ସାଧିତ ହୋଇପାରିବ ଯେତେବେଳେ ୫୦% ଆଇନଗତ ସଂରକ୍ଷଣ କଟକଣା ଉଠିଯିବ । ତେଣୁ ଜାତିଭିତିକ ଜନଗଣନା ଓ ୫୦% ସଂରକ୍ଷଣ ସୀମା ଉଠାଯିବା ସମୟର ଏକ ଆହ୍ୱାନ ହୋଇଛି ।
ନିକଟରେ ଏହି ଦାବି ନେଇ ବିଜେଡି ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‍ ଶାହାଙ୍କୁ ଭେଟିସାରିଛନ୍ତି । ଦେଢ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ନବୀନ ପଟ୍ଟନାୟକ ଏହି ଦାବି ଉଠାଇ ଆସୁଛନ୍ତି । ନବୀନ ପଟ୍ଟନାୟକଙ୍କ ଏହି ଦାବିକୁ ଭାରତବର୍ଷର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜନୈତିକ ଦଳ ବି ସମର୍ଥନ ଜଣାଇ ଆସୁଛନ୍ତି ।

ଇତିମଧ୍ୟରେ ନବୀନ ପଟ୍ଟନାୟକଙ୍କୁ ଅନୁସରଣ କରି ଜାତିଭିତିକ ଜନଗଣନା ଏବଂ ୫୦% ସଂରକ୍ଷଣ କଟକଣା ଉଠାଇବା ସପକ୍ଷରେ ବିଜେପିର ସହଯୋଗୀ ଦଳମାନେ ମଧ୍ୟ ମତ ପ୍ରକାଶ କଲେଣି । ଏମାନଙ୍କ ମଧ୍ୟରେ ଜେଡି(ୟୁ)ର ନୀତିଶ କୁମାରଙ୍କ ନେତୃତ୍ୱରେ ଅପ୍‌ନା ଦଳର ଅନୁପ୍ରିୟା ପଟେଲ, ହାମ୍ ର ଜୀତନରାମ ମାଝି, ଭିଆଇପି ଦଳର ମୁକେଶ ଶୈନୀ, ନିଷାଦ ପାଟିର ସଞ୍ଜୟ ନିଷାଦ, ସୁହେଲଦେବ ଭାରତୀୟ ସମାଜ ପାର୍ଟିର ଓମ ପ୍ରକାଶ ରାଜଭର, ଆରପିଆଇ(ଏ) ର ରାମଦାସ ଅଠାୱାଲେ, ଏଲ୍‍ଜେପିର ପଶୁପତି ପାରସ ଆଦି ରହିଛନ୍ତି ।

ବିହାରର ବିଭିନ୍ନ ରାଜନୈତିକ ଦଳର ୧୦ ଜଣିଆ ପ୍ରତିନିଧି ଦଳ ନିତିଶ କୁମାରଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏହି ଦାବି ରଖି ସାରିଛନ୍ତି । ଏହି ପ୍ରତିନିଧି ଦଳରେ ବିହାର ବିଜେପି ନେତା ମଧ୍ୟ ସାମିଲ ଅଛନ୍ତି । ଜନଗଣନା ସମ୍ପୂର୍ଣ୍ଣର୍ କେନ୍ଦ୍ର ସରକାରଙ୍କ ବ୍ୟାପାର ଏବଂ ୫୦% ସରଂକ୍ଷଣ ସୀମା କଟକଣା ଉଠାଇବା ମଧ୍ୟ କେନ୍ଦ୍ରୀୟ କ୍ଷମତା ପରିସର ଭୁକ୍ତ ।

ପଛୁଆବର୍ଗର ସାମାଜିକ, ଆର୍ଥିକ ବିକାଶ ଓ ସେମାନଙ୍କୁ ଦୀର୍ଘମିଆଦୀ ସୁବିଧା ଦେବା ପାଇଁ ରାଜ୍ୟ ସରକାର ତତ୍ପର । ଓଡିଶାକୁ ଦେଖି ଅନ୍ୟ ରାଜ୍ୟମାନେ ଏହି ଦାବି ଉଠାଇ ସାରିଛନ୍ତି । ହେଲେ ଓଡିଶା ବିଜେପି ନେତୃତ୍ୱ ଓ ଜନପ୍ରତିନିଧିମାନେ ଭୟଙ୍କର ନୀରବତା ଅବଲମ୍ବନ କରୁଛନ୍ତି । ଏହି ନିରବତା ସେମାନଙ୍କୁ ଓବିସି/ଏସ୍‍ଇବିସି ବର୍ଗ ବିରୋଧି ବୋଲି ଦର୍ଶାଉଛି । ଆହ୍ୱାନ ରଖୁଛୁ ଓଡିଶା ରାଜ୍ୟର ବିଜେପି ନେତା ମାନେ ଏହି ଦାବି ଉଠାନ୍ତୁ । ଏହି ଦାବି ପୂରଣ ନହେଲା ପର୍ଯ୍ୟନ୍ତ ବିଜୁ ଜନତା ଦଳ ପଲ୍ଲୀ ଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ଲଢେଇ ଜାରି ରଖିବ ବୋଲି ଶ୍ରୀ ସ୍ୱାଇଁ ଓ ଡକ୍ଟର ସାହୁ କହିଛନ୍ତି ।

Leave A Reply

Your email address will not be published.