ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ବର : ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ ବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯାଇଥିଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ  କରିବାରେ ସହାୟକ ହେବ ।  ଅର୍ଥନୀତିରେ ଶ୍ରମିକ ମାନଙ୍କ ଗୁରୁତ୍ବ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶ୍ରମିକ ମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ ।   ନିର୍ମାଣ ଶ୍ରମିକ ମାନଙ୍କୁ ଜଣେ ଜଣେ ବିଶ୍ବକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି ।

 ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ  — ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା – ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା। ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବର ରାହା ଦେଇଛି । ଗତ ବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ । ତାସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର – ସବୁ ସମୟରେ ଆମେ ସହାୟତା  ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇ.ଏସ୍‌.ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ ।

ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି  ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି ।

ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ ଶ୍ରୀ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ଚିତ୍ରା ଅର୍‌ମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ.ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.